କଟକ: ଲଗାଣ ବର୍ଷା ଓ ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକ ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛି। ଆସନ୍ତାକାଲି ମଧ୍ୟ ଆଠଗଡ଼ ଉପଖଣ୍ଡ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ ବନ୍ଦ ରହିବ।
କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି। ଲଗାତାର ବର୍ଷା ଯୋଗୁଁ ଅନେକ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ପଦକ୍ଷେପ ନିଆଯାଇଛି। ଆଜି ମଧ୍ୟ ଆଠଗଡ଼ ଉପଖଣ୍ଡର ସମସ୍ତ ସ୍କୁଲ ବନ୍ଦ ରହିଥିଲା।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଅନେକ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି। ଏହି ପରିସ୍ଥିତିରେ ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।
ଅନ୍ୟପକ୍ଷରେ, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି। ୧୮, ୧୯ ଓ ୨୦ ତାରିଖ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାବେଳେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି।
ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ପାଣିପାଗର ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସମସ୍ତଙ୍କୁ ସତର୍କ ରହିବାକୁ ଅନୁରୋଧ କରିଛି।
