Home Featuredଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୪୮ ଘଣ୍ଟା ଭୀଷଣ ବର୍ଷା, ୬ ଜିଲ୍ଲାକୁ ରେଡ୍ ଆଲର୍ଟ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୪୮ ଘଣ୍ଟା ଭୀଷଣ ବର୍ଷା, ୬ ଜିଲ୍ଲାକୁ ରେଡ୍ ଆଲର୍ଟ

by Lokanath Panigrahi
0 comments

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି। ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଆସନ୍ତା ୨ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଭୀଷଣ ବର୍ଷା ଏବଂ ପରବର୍ତ୍ତୀ ୪ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

୬ ଜିଲ୍ଲାକୁ ରେଡ୍ ଆଲର୍ଟ

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଏବଂ କେନ୍ଦୁଝର ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଏବଂ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଅନ୍ୟ ଜିଲ୍ଲାକୁ ୟେଲୋ ଆଲର୍ଟ

ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ଦେଓଗଡ଼, କନ୍ଧମାଳ, କଳାହାଣ୍ଡି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆସନ୍ତାକାଲି ପାଇଁ ସତର୍କତା

ଆସନ୍ତାକାଲି କେନ୍ଦୁଝର ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି। ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ବରଗଡ଼ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିପାରେ।

ପୁରୀ ସୁନାବେଶ ଉପରେ ବର୍ଷାର ପ୍ରଭାବ

ପୁରୀରେ ରଥଯାତ୍ରାର ସୁନାବେଶ ଅବସରରେ ଆଜି ଅତି ପ୍ରବଳ ବର୍ଷା ଏବଂ ଆସନ୍ତାକାଲି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରିଛି। ତେଣୁ ସୁନାବେଶ ଦର୍ଶନକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ବନ୍ୟା ଆଶଙ୍କା, ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ମନା

ଲଗାଣ ବର୍ଷା ଯୋଗୁଁ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ନଦୀର ଉପରମୁଣ୍ଡରେ ଜଳସ୍ତର ବୃଦ୍ଧି ପାଇପାରେ। ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।

ସେହିପରି ଉତ୍ତର ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ଏହି କାରଣରୁ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାର ବର୍ଷା

ଗତ ୨୪ ଘଣ୍ଟାରେ ରାଜ୍ୟର ୧୩ଟି ଜିଲ୍ଲାରେ ଉଲ୍ଲେଖନୀୟ ବର୍ଷା ରେକର୍ଡ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାର ପାନପୋଷରେ ସର୍ବାଧିକ ୯୮.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

You may also like

Leave a Comment