ରାଜ୍ୟରେ ହୋମିଓପାଥି ଚିକିତ୍ସା ଓ ଶିକ୍ଷାର ବିକାଶ ପାଇଁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର। ଆଜି ଭୁବନେଶ୍ୱରସ୍ଥିତ ଡକ୍ଟର ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଆୟୋଜିତ ଜାତୀୟ ବୈଜ୍ଞାନିକ ସମ୍ମିଳନୀରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଉପସ୍ଥିତ ଥିଲେ।
ଏହି ଅବସରରେ ହୋମିଓପାଥି ଶିକ୍ଷା, ଗବେଷଣା ଓ ଚିକିତ୍ସାର ଗୁଣାତ୍ମକ ବିକାଶ ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ। ଚିକିତ୍ସାର ସୁରକ୍ଷା, କ୍ଲିନିକାଲ୍ ଅଧ୍ୟୟନ ଓ ବୈଜ୍ଞାନିକ ପ୍ରମାଣକୁ ସର୍ବାଧିକ ପ୍ରାଧାନ୍ୟ ଦେବାକୁ ସେ ଆହ୍ୱାନ ଦେଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ୪ଟି ସରକାରୀ ହୋମିଓପାଥିକ ମେଡିକାଲ କଲେଜ ରହିଥିବା ବେଳେ ନୂଆପଡ଼ା ଓ ନୟାଗଡ଼ରେ ଆଉ ୨ଟି ନୂଆ ହୋମିଓପାଥିକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିପରି ଢେଙ୍କାନାଳ ଓ ବ୍ରହ୍ମପୁରରେ ୫୦ ଶଯ୍ୟା ବିଶିଷ୍ଟ ସମନ୍ୱିତ ଆୟୁଷ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଖୁବ୍ଶୀଘ୍ର ସେଠାରେ ସ୍ୱାସ୍ଥ୍ୟସେବା ଆରମ୍ଭ ହେବ। ଅନ୍ୟପଟେ ବାଲେଶ୍ୱରରେ ମଧ୍ୟ ୫୦ ଶଯ୍ୟା ବିଶିଷ୍ଟ ଆୟୁଷ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଜାରି ରହିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
